
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଯାଇ ମା ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ।
ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପ୍ରମୁଖ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରି ଓଡ଼ିଶାର ଯୋଜନା କିପରି ଅନ୍ୟ ରାଜ୍ୟ ତଥା କେନ୍ଦ୍ର ସରକାର ଅନୁକରଣ କରୁଛନ୍ତି ତାର ଉଦାହରଣ ଦେଇଥିଲେ। ସାଂସଦ ଚନ୍ଦ୍ରଶେଖର ସାହୁ, ପ୍ରମିଳା ବିଶୋଇ, ବିଧାୟକ ବିକ୍ରମ ପଣ୍ଡା ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବର ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ଗଂଜାମରେ ପହଂଚିବା ପରେ ପ୍ରଥମେ ତାରାତାରିଣୀ ମନ୍ଦିର ଯାଇ ମାଙ୍କ ଦର୍ଶନ କରିଥିଲେ। ପରେ ସେଠାରେ ମନ୍ଦିର ବିକାଶ କାମର ସମୀକ୍ଷା କରି ୨୦୨୩ ସୁଦ୍ଧା କାମ ସମ୍ପୂର୍ଣ୍ଣ ହେବ ବୋଲି ଘୋଷଣା କରିଥିଲେ। ତାରାତରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ହିଞିଳି ଯାଇ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।
ଗଞ୍ଜାମରେ ମିଶନ ଶକ୍ତି ମା’ମାନଙ୍କ କାମର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀଙ୍କୁ ଶହେ କୋଟି ଟଙ୍କାର ଋଣ ବଣ୍ଟନ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଫାଇଭ-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ରୂପାନ୍ତରିତ ବୃନ୍ଦାବନ ବିଦ୍ୟାପୀଠର ସ୍ମାର୍ଟ ଶ୍ରେଣୀ ଗୃହ ଓ ଇ-ପାଠାଗାର ବୁଲି ଦେଖିଥିଲେ ଓ ଛାତ୍ରଛାତ୍ରୀଙ୍କ ସହ କିଛି ସମୟ ବିତାଇ ଥିଲେ।
ଏହି ଅବସରରେ ହିଞିଳିରୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଗଞ୍ଜାମ ଦର୍ଶନ ବସର ଶୁଭ ଯାତ୍ରା ଆରମ୍ଭ କରିଥିଲେ।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ