
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍ ପ୍ରଦାନ କରିଛନ୍ତି । ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି ।
ଏହି ସହାୟତା ଲାଗି ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି । ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି । ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।
ସୂଚନାଯୋଗ୍ୟ ଯେ ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।
ଲୋକସେବା ଭବନ କନ୍ଭେନସନ ହଲ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡିଶାରେ ପ୍ରଗତୀର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକର ମାନେ ଏହାଦ୍ବାରା ଉପକୃତ ହେବେ ବୋଲି ସେ କହିଥିଲେ ।
ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମାନସ ମଙ୍ଗରାଜ ଏଥିରେ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ।
କାର୍ଯ୍ୟକ୍ରମରେ ଭୁବନେଶ୍ବରରୁ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ସେମାନଙ୍କର ଅନୁଭବ ବ୍ୟକ୍ତ କରି କହିଥିଲେ ଯେ ଆମେ ହକର ଭାଇମାନେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ । ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।
ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ବିଧାୟକଗଣ, ଜିଲ୍ଲାପାଳ, ସୂଚନା ଓ ଲୋକସଂପର୍କ ଅଧିକାରୀ ଓ ହକର ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ